ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏହାରି ଭିତରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ କରାଯାଇଛି।
ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ଆକଳନ କରିଛି। ଆଜି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।